କାଳିଆ ହିତାଧିକାରୀଙ୍କୁ ଅତିରିକ୍ତ ୧୦୦୦ ଟଙ୍କାର ସହାୟତା

0

ଭୁବନେଶ୍ବର : କୋଭିଡ ମହାମାରୀ ସମୟରେ ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା କୃଷକ, ଶ୍ରମିକ, ଛାତ୍ରଛାତ୍ରୀ, ଆଦିମ ଜନଜାତି, ଗରିବ ଷ୍ରଣୀର ଲୋକେ ଲାଭବାନ ହେବେ । ପ୍ୟାକେଜ ଅନୁଯାୟୀ, କାଳିଆ ଯୋଜନାର ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ସହାୟତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଖାଲି ସେତିକି ନୁହେଁ, ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଓଡିଶାରେ ୧୩ଟି ଆଦିମ ଜନଜାତିର ୬୬ ହଜାର ୨୧୪ ଜଣ ବ୍ୟକ୍ତି ବସବାସ କରୁଛନ୍ତି । ସେମାନଙ୍କୁ ଜୀବନ ଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ସେମାନଙ୍କ ପ୍ରି-ମ୍ୟାଟ୍ରିକ୍ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଯାହାଦ୍ବାରା ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।

ସେହିପରି ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ । ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬ ହଜାର ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ । ଏଥିପାଇଁ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ।

ଏହାସହ ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ । ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏଥିପାଇଁ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍‌ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲରୁ ଜୁନ୍‌ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.